(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ବିଶେଷ କରି ୨୨ଟି ଜିଲ୍ଲାରେ ବର୍ଷାର ପ୍ରଭାବ ରହିବାର ଥିବାରୁ ସେସବୁ ଜିଲ୍ଲାକୁ ୟେଲୋ ଓ୍ବାଣ୍ଣିଂ ଜାରି କରାଯାଇଛି ।
୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ପୁରୀ । ସେହିଭଳି ପ୍ରବଳ ବର୍ଷା ପାଇଁ ମାଲକାନଗିରି, ରାୟଗଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ ନବରଙ୍ଗପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଲଘୁଚାପ ପ୍ରଭାବରେ ଆଜି ଓ ଆସନ୍ତାକାଲି ବର୍ଷାର ପରିମାଣ ବଢିବ । ଆସନ୍ତା କାଲି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଶେଷକରି ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ତଥା ତତ୍ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ୪୦ରୁ ୫୦କିମି ରହିବାର ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ହେବାର ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।
ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଏସ୍ଆରସିଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜୁନ୍ ୧ରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସ୍ୱାଭାବିକଠାରୁ ୩୦ ପ୍ରତିଶତ କମ ବର୍ଷା ରେକର୍ଡ ହୋଇଛି। ତେଣୁ ଏହି ବର୍ଷା ଚାଷୀଙ୍କୁ କିଛି ପରିମାଣରେ ଆଶ୍ୱସ୍ତ ଆଣିପାରେ ବୋଲି ଆକଳନ କରାଯାଉଛି।