ରଥଯାତ୍ରାର ପ୍ରାଚୀନତା ଓ ଇତିହାସ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରଥଯାତ୍ରା ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା । ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ସେପଟେ ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩. ନେତ୍ରୋତ୍ସବ, ୪. ଶ୍ରୀଗୁଣ୍ଡିଚା, ୫. ହେରାପଞ୍ଚମୀ, ୬. ଆଡ଼ପ ପର୍ବ, ୭. ବାହୁଡ଼ା ଯାତ୍ରା ଓ ୮. ନୀଳାଦ୍ରି ବିଜେ । ପୁନଶ୍ଚ ରଥଯାତ୍ରା ୫ ଭାଗରେ ବିଭକ୍ତ। ଯଥା ୧. ଅନ୍ତର୍ବେଦୀ, ୨. ମହାବେଦୀ ମହୋତ୍ସବ, ୩. ଆଡ଼ପ ଉତ୍ସବ, ୪. ଦକ୍ଷିଣାମୁଖୀ ଉତ୍ସବ ଓ ୫. ନୀଳାଦ୍ରି ବିଜୟ । ଏହାକୁ ଗୁଣ୍ଡିଚା ପଞ୍ଚକ କୁହଯାଏ । ରଥଯାତ୍ରା ବହୁ ପ୍ରାଚୀନ ବୋଲି ଗବେଷକମାନେ ମତ ପ୍ରଦାନ କରିଛନ୍ତି। ଋକ୍ ବେଦ ଓ ଅଥର୍ବ ବେଦ ଇତ୍ୟାଦିରେ ରଥ ଶବ୍ଦର ପ୍ରୟୋଗ ଦେଖାଯାଏ । ପରବର୍ତ୍ତୀ କାଳରେ ଶତପଥ ବ୍ରାହ୍ମଣ ଗ୍ରନ୍ଥରେ ମଧ୍ୟ ଏହାର ଆଭାସ ମିଳିଥାଏ । ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାଦ୍ଦୀରୁ ଖ୍ରୀଷ୍ଟପୂର୍ବ ପ୍ରଥମ ଶତାଦ୍ଦୀ ମଧ୍ୟରେ ଖୋଦିତ ହୋଇଥିବା କେତେକ ପ୍ରାଚୀନ ଭାସ୍କର୍ଯ୍ୟକୁ ଅନୁଧ୍ୟାନ କଲେ ସୂର୍ଯ୍ୟଙ୍କ ରଥଯାତ୍ରାର ସମ୍ୟକ୍ ନିଦର୍ଶନ ମିଳିଥାଏ ।

ତେଣୁ ସୂର୍ଯ୍ୟଙ୍କ ରଥଯାତ୍ରାର ପରବର୍ତ୍ତୀ ପରିକଳ୍ପନା ହେଉଛି ପୁରୁଷୋତ୍ତମ କ୍ଷେତ୍ରସ୍ଥ ମହାପ୍ରଭୁଙ୍କ ରଥଯାତ୍ରା। ଯେଉଁ ସବୁ ରଥଯାତ୍ରାର ଉଲ୍ଲେଖ ହେଇଛି ସେଥି ମଧ୍ୟରେ ପୁରୀର ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେଉଛି ସବୁଠାରୁ ଅଧିକ ଜନାଦୃତ ଓ ପ୍ରସାରିତ । କେତେକ ଗବେଷକ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବୌଦ୍ଧ ପରମ୍ପରାରୁ ସୃଷ୍ଟି ହୋଇଛି ବୋଲି ଅନୁମାନ କରନ୍ତି । କାରଣ ଖ୍ରୀଷ୍ଟୀୟ ପଞ୍ଚମ ଶତାଦ୍ଦୀର ପ୍ରାରମ୍ଭରେ ଚୀନ ପରିବ୍ରାଜକ ଫାଇୟାନ୍ ଖୋଟାନରେ ଅନୁଷ୍ଠିତ ରଥଯାତ୍ରାର ଯେଉଁ ବିବରଣୀ ଲିପିବଦ୍ଧ କରିଛନ୍ତି, ତାହା ଆଜିସୁଦ୍ଧା ପ୍ରଚଳିତ ଜଗନ୍ନାଥଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ସହ ମେଳ ଖାଉଛି ।

ରଥ‌ଯାତ୍ରା ପ୍ରତିଶବ୍ଦ

ଘୋଷଯାତ୍ରା: ବିଶ୍ୱର ମଙ୍ଗଳ ଘୋଷଣା କରୁଥିବାରୁ ବା ନ‌ନ୍ଦିଘୋଷ ରଥରେ ବସି ଯାତ୍ରା କରୁଥିବାରୁ ଘୋଷଯାତ୍ରା ।

ଆଡ଼ପମଣ୍ଡପ ଯାତ୍ରା: ଗୁଣ୍ଡିଚା ମଣ୍ଡପରେ ଥିବା ଆଡ଼ପମଣ୍ଡପରେ ବିଜେ କରୁଥିବାରୁ ଆଡ଼ପମଣ୍ଡପ ଯାତ୍ରା ।

ଜନ୍ମ‌ବେଦୀ ବା ଅନ୍ତର୍ବେଦୀ ଯାତ୍ରା: ପ୍ରଭୁଙ୍କର ଜନ୍ମ ବେଦୀ ଆଡ଼ପମଣ୍ଡପଠାରେ ହୋଇଥିବାରୁ ଜନ୍ମ‌ବେଦୀ ବା ଅନ୍ତର୍ବେଦୀ ଯାତ୍ରା ।

ଦଶାବତାର ଯାତ୍ରା: ଗୁଣ୍ଡିଚା ଘରେ ଦଶ ଅବତାର ବେଶ ହେଉଥିବାରୁ ଦଶାବତାର ଯାତ୍ରା ।

ପତିତପାବନ ଯାତ୍ରା: ପତିତମାନଙ୍କୁ ଉଦ୍ଧାର କରିବାକୁ ଏହି ଯାତ୍ରା ହେଉଥିବାରୁ ପତିତପାବନ ଯାତ୍ରା ।

ନବଦିନାତ୍ମକ ଯାତ୍ରା: ଏହି ଯାତ୍ରା ଯିବା ଆସିବା ଓ ରହଣୀକୁ ମିଶେଇ ୯ ଦିନ ହେଉଥିବାରୁ ନବଦିନାତ୍ମକ ଯାତ୍ରା ।

ଗୁଣ୍ଡିଚା ଯାତ୍ରା: ଗୁଣ୍ଡିଚା ଘରକୁ ଯାତ୍ରା କରୁଥିବାରୁ ଏହା ଗୁଣ୍ଡିଚା ଯାତ୍ରା ।

ଅନ୍ୟପଟେ ହରିହର କାନୁନଗୋଙ୍କ ମତରେ ଜଗନ୍ନାଥଙ୍କ ରଥଯାତ୍ରା ଏକ ବୌଦ୍ଧ ଅନୁଷ୍ଠାନ । ସିଂହଳରେ ଯେଉଁ ରଥଯାତ୍ରା ପାଳିତ ହୁଏ, ସେଥିରେ ବୁଦ୍ଧଙ୍କ ଦନ୍ତକୁ ବୈଶାଖ ଶୁକ୍ଳ ତ୍ରୟୋଦଶୀ ଦିନ ବାହାର କରି ହାତୀ ଉପରେ ଥୋଇ ମହା ସମାରୋହରେ ଶୋଭାଯାତ୍ରାରେ ନିଆଯାଏ ଓ ନଗରର ରାଜମାର୍ଗ ମାନ ବୁଲାଇ ସେହି ଦନ୍ତକୁ ଶେଷରେ ଏକ ମଣ୍ଡପରେ ସ୍ଥାପନ କରାହୁଏ। ସେଠାରେ ଛଅଦିନ ରହିବା ପରେ ପୁଣି ଦନ୍ତ ମନ୍ଦିରକୁ ଫେରି ଆସେ । ପୁରୀରେ ଆଷାଢ଼ ଶୁକ୍ଳ ଦ୍ୱିତୀୟା ଦିନ ଜଗନ୍ନାଥ ମହାପ୍ରଭୁ କାଷ୍ଠ ନିର୍ମିତ ରଥରେ ବାହାରି ଶୀକ୍ଷେତ୍ରର ବଡ଼ଦାଣ୍ଡ ଅତିକ୍ରମ କରି ଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚନ୍ତି ଏବଂ ସେଠାରେ ୭ଦିନ ରହି ପୁଣି ଶୁକ୍ଳ ଦଶମୀ ଦିନ ଶ୍ରୀମନ୍ଦିରରକୁ ବାହୁଡା ବିଜେରେ ଫେରିଥାନ୍ତି । ପୁରାତତ୍ତ୍ୱବିତ ରାଜେନ୍ଦ୍ର ଲାଲ ମିତ୍ରଙ୍କ ମତନୁଯାୟୀ ପୁରୀର ରଥଯାତ୍ରା ବୁଦ୍ଧଦେବଙ୍କ ଜନ୍ମୋତ୍ସବ ପାଳନର ସ୍ମୃତି ମାତ୍ର। ଷୋଡ଼ଶ ଶତାଦ୍ଦୀରେ ରଚିତ ମାଦଳା ପାଞ୍ଜିରେ ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ବର୍ଣ୍ଣନା ଦେଖିବାକୁ ମିଳେ । ଏଥିରେ ଉଲ୍ଲେଖ ଅଛି ଯେ, ବୀର ନରସିଂହ ଦେବ ରାଜା ରାଜ୍ୟ କଲେ। ଏ ରାଜା ବାଙ୍କୀ ମୁହାଣ ପୋତାଇଲେ । ଛଅ ରଥ ହେଉଥିଲା, ରାଜା ତାହା ପୋତାଇ ତିନି ରଥ କରାଇଲେ । ଗୁଣ୍ଡିଚା ଘର ଦେଉଳ କାଠ ମଣ୍ଡପ ହୋଇଥିଲା, ତାହା ପଥର ମଣ୍ଡପ କଲେ । ଏ ଦୁଇ ପାଖେ ବଳଗଣ୍ଡି କଲେ । କେହି ଜଣେ ଗବେଷକ ଲାଙ୍ଗୁଳା ନରସିଂହ ଦେବଙ୍କ ପରବର୍ତ୍ତୀ ରାଜା ଭାନୁଦେବଙ୍କ (ଖ୍ରୀ.ଅ ୧୨୬୪-୧୨୭୮)ଙ୍କ ସମୟରେ ଛଅ ରଥ ପରିବର୍ତ୍ତେ ତିନି ରଥ ହେବାର ବ୍ୟବସ୍ଥା ହୋଇଥିଲା ବୋଲି ଉଲ୍ଲେଖ କରିଛନ୍ତି । ଏହି ଛଅ ରଥ କେବେ ଠାରୁ ଶ୍ରୀକ୍ଷେତ୍ରରେ ପ୍ରଚଳିତ ହେଲା, ସେ ସମ୍ପର୍କରେ ମାଦଳା ପାଞ୍ଜିରୁ କୈଣସି ତଥ୍ୟ ମିଳୁନାହିଁ । କିନ୍ତୁ ତ୍ରୟୋଦଶ ଶତାଦ୍ଦୀ ପୂର୍ବରୁ ପୁରୀରେ ରଥ ଯାତ୍ରା ଅନୁଷ୍ଠିତ ହେଉଥିବାର ପ୍ରମାଣ ମିଳୁଛି।

ତ୍ରୟୋଦଶ ଶତାଦ୍ଦୀ ପୂର୍ବରୁ ରଚିତ ସ୍କନ୍ଧ ପୁରାଣ ଉତ୍କଳ ଖଣ୍ଡର ପୁରୁଷୋତ୍ତମ ମାହାତ୍ମ୍ୟରେ ରଥଯାତ୍ରାର ସବିଶେଷ ବିବରଣୀ ବର୍ଣ୍ଣନା ରହିଛି। ଖ୍ରୀ.ଅ ଅଷ୍ଟମ ବା ନବମ ଶତାଦ୍ଦୀରେ ସୋମବଂଶୀ ରାଜା ଯଯାତି କେଶରୀଙ୍କ ସମୟରେ ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବିଷୟ ଭିକାରୀ ପଟ୍ଟନାୟକଙ୍କ ୧୮୫୯ ସାଲରେ ରଚିତ ରଥ ଚକଡା ପୋଥିରୁ ଉଦ୍ଧାର କରି ଗବେଷକ ସଦାଶିବ ରଥଶର୍ମା ପ୍ରକାଶ କରିଛନ୍ତି । ଏହି ରଥ ଚକଡା ପାଣ୍ଡୁଲିପିଟି ପୁରୀ ବାସେଳି ସାହିର ତତକାଳୀନ ରଥ ଅମୀନ ଓ ରଥକାର ଫକୀର ମହାପାତ୍ରଙ୍କ ଠାରୁ ପ୍ରାପ୍ତ ଓ ପୁରୀ ବଡ଼ ଓଡ଼ିଆ ମଠରେ ତାହା ସୁରକ୍ଷିତ ଥିଲା ବୋଲି ରଥଶର୍ମା ଉଲ୍ଲେଖ କରିଛନ୍ତି। ଯଯାତିଙ୍କ ବେଳେ ଜଗନ୍ନାଥ ମନ୍ଦିରର ଉଚ୍ଚତା ମାତ୍ର ୪୮ ହାତ ଥିଲା। ଠାକୁରେ ୨ହାତ ୧୦ଆଙ୍ଗୁଳର ଥିଲେ ଓ ରଥମାନ ୧୮ ହାତ ଉଚ୍ଚ ଥିଲା । ତିନି ରଥ ବୋଧେ ସମାନ ଥିଲା। ରଥ ଛଅ ଗୋଟି ହେଉଥିଲା । ବଳଗଣ୍ଡି ପର୍ଯ୍ୟନ୍ତ ତିନିରଥ ଯାଉଥିଲା । ଇନ୍ଦ୍ରଦ୍ୟୁମ୍ନ ପାଟଣାରେ ତିନିରଥ ନିର୍ମାଣ କରାଯାଉଥିଲା। ଏହା ଚାରି ଚକିଆ ଶଗଡି ସଦୃଶ୍ୟ ହେଉଥିଲା । ଏହି ତିନିଗୋଟି ରଥ ମାଳିନୀ ବା ବଡ଼ ନଈର ଉତ୍ତର ଭୂମିରେ ଆଡ଼ପ ମଣ୍ଡପ ବା ଗୁଣ୍ଡିଚା ଘରକୁ ଯାଉଥିଲା । ସିଂହଦ୍ୱାର ଠାରୁ ବଳଗଣ୍ଡି ପର୍ଯ୍ୟନ୍ତ ଯାଉଥିବା ରଥ ଷୋହଳ ଚକିଆ , ଚଉଦ ଚକିଆ ଓ ବାର ଚକିଆ। ରଥ ଉପରେ ସୁନାର ତିନିବେଣ୍ଟିଆ ଧ୍ୱଜ କଳସ ଲାଗୁଥିଲା। କନକ ମୁଣ୍ଡାଇରେ ରତ୍ନ ଚାନ୍ଦୁଆ ଟଣା ହେଉଥିଲା। ଅନ୍ୟ ଗୋଟିଏ ଛୋଟ ରଥରେ ବଜନ୍ତରି, ରଥ ଘଣ୍ଟୁଆ, ବାଦ୍ୟକାରମାନେ ଯାଉଥିଲେ ଆଗେ ଆଗେ। ପଛରେ ତିନି ରଥକୁ ଟାଣୁଥିଲେ ଭକତମାନେ । ରଥରେ ଚାଉଳ, ନଡିଆ ଖଣ୍ଡ ପଡି ଭୋଗ ଲାଗୁଥିଲା । ତାହା ଅଳ୍ପ ସଂଖ୍ୟକ ସମବେତ ଭକ୍ତଗଣଙ୍କୁ ବଣ୍ଟନ କରାଯାଉଥିଲା । ବଳଗଣ୍ଡିଠାରେ ରଥ ପହଞ୍ଚିଲେ ଦୋଳଚାପରେ ନଈ ପାରି ହୋଇ ଅର ପଟକୁ ଠାକୁରମାନେ ବିଜେ କରି ଚାରି ଚକିଆ ଶଗଡି ରଥରେ ବସି ଗୁଣ୍ଡିଚା ମନ୍ଦିର ବେଢାକୁ ଯାଆନ୍ତି ।

ସାତ ଦିନ ପରେ ନବଦିନ ଯାତ୍ରା ସମାପ୍ତ କରି ବାହୁଡା ଯାତ୍ରା ହେଉଥିଲା। ପ୍ରାବନ୍ଧକ ଡକ୍ଟର ହରିହର କାନୁନଗୋଙ୍କ ମତରେ ଯଯାତିଙ୍କ ସମୟରେ ହୋଇଥିବା ଘଟଣାଟି ବିଶ୍ୱାସଯୋଗ୍ୟ ମନେହୁଏ। ସମ୍ଭବତଃ ଜଗନ୍ନାଥଙ୍କୁ ୩୮ହାତର ଏକ ପଟୋଳରେ ସ୍ଥାପନା କଲା ବେଳେ ପୂର୍ବରୁ ଅନୁସୃତ ରଥଯାତ୍ରା ପରମ୍ପରାର ପ୍ରଭାବରେ ଯଯାତି ଏହି ରଥଯାତ୍ରାର ପ୍ରଚଳନ କରିଥିଲେ । ପରବର୍ତ୍ତୀ ଦ୍ୱାଦଶ ଶତାଦ୍ଦୀରେ ୧୦୦ ହାତର କିମ୍ବା ୧୨୫ ହାତର ବଡ଼ ଦେଉଳ ନିର୍ମାଣ ସମାପ୍ତି ଓ ଠାକୁରମାନଙ୍କ ବିଜେ ତୃତୀୟ ଅନଙ୍ଗଭୀମ ଦେବ (ଖ୍ରୀ.ଅ.୧୨୧୧-୧୨୩୮)ଙ୍କ ସମୟ ହୋଇଥିବାରୁ ସେହି ବର୍ଷଠାରୁ ପୂର୍ବ ସ୍ମୃତିକୁ ମନେ ରଖିବା ପାଇଁ ବଡ଼ ଦେଉଳରୁ ଗୁଣ୍ଡିଚା ଘରକୁ ଦିଅଁଙ୍କର ରଥଯାତ୍ରା ଦକ୍ଷିଣାଭିମୁଖୀରେ ହୋଇଥିବା ସମ୍ଭବପର । ଯଯାତିଙ୍କ ସମୟରେ ବଡ଼ ଦାଣ୍ଡର ବଳଗଣ୍ଡିଠାରେ ମାଳିନୀ ନଦୀ ପ୍ରବାହିତ ହେଉଥିବାରୁ ଛଅ ରଥ ନିର୍ମାଣ କରାଯାଉଥିଲା ଏବଂ ବୀର ନରସିଂହ ଦେବ ଓରଫ ପ୍ରଥମ ଭାନୁଦେବ (ଖ୍ରୀ.ଅ.୧୨୬୪-୧୨୭୮) କିମ୍ବା ଦ୍ୱିତୀୟ ନରସିଂହ ଦେବ (ଖ୍ରୀ.ଅ ୧୨୭୮-୧୩୦୭)ଙ୍କ ସମୟରେ ଏହି ମାଳିନୀ ନଦୀ (ଶରଧାବାଲି)କୁ ପୋତି ଦେବା ଫଳରେ ଛଅ ରଥ ପରିବର୍ତ୍ତେ ତିନି ରଥ ତିନି ରଥ ନିର୍ମିତ ହୋଇ ଆସୁଅଛି।

ଅପରପକ୍ଷରେ ଗବେଷକ ଡଃ ନୀଳକଣ୍ଠ ମିଶ୍ର ଉଲ୍ଲେଖ କରିଛନ୍ତି ଯେ, ଖ୍ରୀ.ଅ ୧୨୭୦ରେ ମାଧବାଚାର୍ଯ୍ୟଙ୍କ ଶ୍ରୀକ୍ଷେତ୍ର ଆଗମନ କାଳରେ ଏକ ଯାତ୍ରାରେ ଦୁଇ ପ୍ରକାର ରଥ ବ୍ୟବହାର ଶାସ୍ତ୍ର ବିରୋଧୀ ବୋଲି ମତ ଦେଇ ମାଳିନୀ ନଦୀ ପୋତି ବଡ଼ଦାଣ୍ଡରେ ମାତ୍ର ତିନି ଗୋଟି ରଥରେ ରଥଯାତ୍ରା ସମ୍ପାଦନ କରିବାକୁ ପରାମର୍ଶ ଦେଇଥିଲେ । ତେଣୁ ଗଙ୍ଗ ସମ୍ରାଟ ଅନଙ୍ଗ ଭୀମ ଦେବଙ୍କ ପୁତ୍ର ପ୍ରଥମ ଭାନୁଦେବ (୧୨୬୪-୧୨୮୭ ଏ ବ୍ୟବସ୍ଥା କରିଥିଲେ । ମାଳିନୀ ବା ଶରଧା ନଦୀ ପୋତା ହେଲା ପରେ ଏହା ବଡ଼ ଦାଣ୍ଡରେ ପରିଣତ ହେଲା । ଖ୍ରୀଷ୍ଟୀୟ ନବମ ଶତାଦ୍ଦୀର କବି ମୁରାରୀ ମିଶ୍ର ସ୍ୱୀୟ ସୃଷ୍ଟିରେ ରଥଯାତ୍ରା ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି ବୋଲି କେତେକ ଅଲୋଚକ ମତପୋଷଣ କରିଛନ୍ତି । ଶ୍ରୀବିଗ୍ରହମାନଙ୍କ ରଥଯାତ୍ରା କାଳରେ ମୁରାରୀ ମିଶ୍ରଙ୍କ ରଚିତ ସୁପ୍ରସିଦ୍ଧ ସଂସ୍କୃତ ନାଟକ ଅନର୍ଘ ରାଘବ ସମେତ ବହୁ ସଂସ୍କୃତ କାବ୍ୟ ଭକ୍ତମାନଙ୍କର ଚିତ୍ତ ବିନୋଦନ ପାଇଁ ଅଭିନୀତ ହେଉଥିବାରୁ ସୂଚନା ତାଙ୍କ ରଚନାରୁ ମିଳିଥାଏ । କବି ମୁରାରୀ ମିଶ୍ରଙ୍କ ରଚନାରୁ ଜଣାଯାଏ ଯେ, ଭାଗବତଃ ପୁରୁଷୋତ୍ତମସ୍ୟ ଯାତ୍ରାୟା ମୁପସ୍ଥାନୀୟା ସଭାସଦଃ। ଏଠାରେ ଶ୍ରୀପୁରୁଷୋତ୍ତମ ବା ଶ୍ରୀଜଗନ୍ନାଥଙ୍କ ଯେଉଁ ଯାତ୍ରାର ନାମ ଉଲ୍ଲେଖ କରିଛନ୍ତି, ତାହା ଆଲୋଚକମାନଙ୍କଦ୍ୱାରା ରଥଯାତ୍ରା ରୂପେ ଗୃହୀତ ହୋଇଛି। ମାତ୍ର ବର୍ଣ୍ଣିତ ଯାତ୍ରାର କାଳ ନିରୂପିତ ହୋଇନଥିବାରୁ ଏହାକୁ ରଥଯାତ୍ରା ଭାବରେ ଗ୍ରହଣ କରିବାରେ ମତଦ୍ୱୈଧ ପରିଲକ୍ଷିତ ହୋଇଥାଏ । ବିଶିଷ୍ଟ ଐତିହାସିକ ଡକ୍ଟର ସତ୍ୟନାରାୟଣ ରାଜଗୁରୁ ୧୨୨୩ ଖ୍ରୀଷ୍ଟାବ୍ଦର ପରବର୍ତ୍ତୀ କାଳରେ ରଥଯାତ୍ରା ପ୍ରଚଳନ କଥା ଉଲ୍ଲେଖ କରିଛନ୍ତି । ରାଜଗୁରୁଙ୍କ ମତରେ ୧୨୨୩ ଖ୍ରୀଷ୍ଟାବ୍ଦ ପରେ କୈଣସି ସମୟରେ ଶ୍ରୀଜଗନ୍ନାଥଙ୍କ ବିଗ୍ରହ ଦାରୁ ନିର୍ମିତ ହେବାରେ ଓ ଆଦିବାସୀ ଦଇତାମାନେ ଶ୍ରୀଜଗନ୍ନାଥଙ୍କ ସେବକ ରୂପେ ନିଯୁକ୍ତି ହେବାର ରଥଯାତ୍ରାର ସୃଷ୍ଟି ହୋଇଅଛି।

କିମ୍ବଦନ୍ତୀ ତଥା ପୌରାଣିକ ଆଖ୍ୟାୟିକା ଅନୁଯାୟୀ, ଜାରା ଶବର ଶରରେ ପ୍ରାଣ ଛାଡ଼ିଲେ ଦ୍ୱାରକାଧିପତି ଶ୍ରୀକୃଷ୍ଣ । ଶେଷତମ ଆତ୍ମୀୟ ଭାବରେ ପାଣ୍ଡବଗଣ ସଖା ଶ୍ରୀକୃଷ୍ଣଙ୍କ ଶରୀରକୁ ଦାହ କରିବା ପାଇଁ ଚେଷ୍ଟାକରି ବିଫଳ ହେଲେ, କାରଣ ଅଗ୍ନିର ଦାହିକା ଶକ୍ତି ନିକଟରେ ପୂର୍ଣ୍ଣବ୍ରହ୍ମ ସ୍ୱରୂପ ଶ୍ରୀକୃଷ୍ଣଙ୍କ ଶରୀରକୁ ପଞ୍ଚଭୂତରେ ବିଲୀନ କରିବାର ସାମର୍ଥ୍ୟ ନ ଥିଲା । ଶୂନ୍ୟବାଣୀ ହେଲା- କୃଷ୍ଣଙ୍କର ନାଭିକମଳ ଅଗ୍ନିରେ ଭସ୍ମ ହେବନାହିଁ, ତୁମେମାନେ ତାହାକୁ ମହୋଦଧିରେ ବିସର୍ଜନ କରିଦିଅ ପାଣ୍ଡବମାନେ ତାହାହିଁ କଲେ। ଶ୍ରୀକୃଷ୍ଣଙ୍କର ଅର୍ଦ୍ଧଦଗ୍ଧ ପିଣ୍ଡ ଦାରୁରୂପରେ ବାଙ୍କୀ ମୁହାଣରେ ଆବିର୍ଭାବ ହେଲା । ସମୁଦ୍ରରେ ଭାସୁଥିବା ସେହି ଦାରୁକୁ ଆଣି ରାଜା ଇନ୍ଦ୍ରଦ୍ୟୁମ୍ନ ଶ୍ରୀଗୁଣ୍ଡିଚା ମନ୍ଦିରରେ ରଖିଥିଲେ । ସ୍ୱୟଂ ମହାପ୍ରଭୁ ଜଣେ ବୃଦ୍ଧ ବେଶରେ ଆସି ସେହି ଦାରୁରେ ମୂର୍ତ୍ତି ପ୍ରସ୍ତୁତ କଲେ। ସର୍ତ୍ତ ଥିଲା ମୂର୍ତ୍ତି ସମ୍ପୂର୍ଣ୍ଣ ନହେବା ଯାଏ ଦ୍ୱାର ଖୋଲାଯିବ ନାହିଁ । ମାତ୍ର ପନ୍ଦର ଦିନ ପରେ ଦ୍ୱାର ଖୋଲାଗଲା ମୂର୍ତ୍ତିନିର୍ମାଣ କରୁଥିବା ବୃଦ୍ଧ ଉଭାନ ହୋଇଗଲେ । କେବଳ ଅଧାଗଢା ମୂର୍ତ୍ତି ରହିଗଲା ଅଧାଗଢ଼ା ମୂର୍ତ୍ତିକୁ ଶ୍ରୀମନ୍ଦିରରେ ପ୍ରତିଷ୍ଠା କରାଗଲା । ସେହି ସମୟରେ ମହାପ୍ରଭୁ କହିଥିଲେ : ହେ ରାଜା, ବର୍ଷକୁ ଥରେ ଜନ୍ମଭୂମିକୁ ଆଣିବ। ସେଥିପାଇଁ ଶ୍ରୀଜୀଉମାନେ ଗୁଣ୍ଡିଚାଘରକୁ ବୁଲି ଯାଆନ୍ତି ଓ ବାହୁଡ଼ନ୍ତି।

ସେପଟେ ଶ୍ରୀକ୍ଷେତ୍ର ଧାମରେ ପାଳିତ ହେଉଥିବା ଶ୍ରୀଗୁଣ୍ଡିଚା ଯାତ୍ରାର ମହିମା ତଥା ପାଳନ ବିଧିର ବିସ୍ତୃତ ବର୍ଣ୍ଣନା ବିଭିନ୍ନ ପୁରାଣ ଓ ଉପପୁରାଣମାନଙ୍କରେ ଉଲ୍ଲେଖ ହୋଇଛି। ବିଶେଷ ଭାବେ ବ୍ରହ୍ମ ପୁରାଣ, ନାରଦ ପୁରାଣ, ନୀଳାଦ୍ରି ମହୋଦୟ, କପିଳ ସଂହିତା, ଜଗନ୍ନାଥ ପୁରାଣ, ଯାତ୍ରା ଭାଗବତ, ପଦ୍ମ ପୁରାଣ, ଚୈତନ୍ୟ ଚରିତାମୃତ, ବାମଦେବ ସଂହିତା, ଶାରଦା ପୁରାଣ ପ୍ରଭୃତି ଉଲ୍ଲେଖଯୋଗ୍ୟ। ଶ୍ରୀମନ୍ଦିରରେ ପାଳିତ ମୁଖ୍ୟ ଯାତ୍ରା ମଧ୍ୟରେ ରଥଯାତ୍ରା ଅନ୍ୟତମ । ପ୍ରସିଦ୍ଧ ଦ୍ୱାଦଶ ଯାତ୍ରା ସମ୍ବନ୍ଧରେ ଯେଉଁ ଶ୍ଳୋକଟି ସର୍ବ ମୁଖ ନିଃସୃତ, ତାହା ହେଉଛି –

ମଞ୍ଚ ସ୍ନାନଂ ରଥବରଗତିଃ ଶାୟନଂ ଚାୟନେ ଦ୍ୱେ

ପାର୍ଶ୍ୱ ବୃତ୍ତିଃ ଶୟନ ନିବୃତ୍ତି ପାବୃତ୍ତୈ ପୁଷ୍ୟପୂଜା

ଦୋଳଯାତ୍ରା ଦମନକମହୋତାକ୍ଷ ପୂଜା ତୃତୀୟା

ଚୈକଂ ଯାତ୍ରା ବିଧନିଗଦିତା ଦ୍ୱାଦଶୈତା ନରେନ୍ଦ୍ର ।

ମହାପ୍ରଭୁମାନଙ୍କର ଦ୍ୱାଦଶ ଯାତ୍ରା ମଧ୍ୟରୁ ଶ୍ରୀଗୁଣ୍ଡିଚା ଯାତ୍ରା ବା ମହାବେଦୀ ମହୋତ୍ସବ ହିଁ ଶ୍ରେଷ୍ଠ ବୋଲି ସ୍କନ୍ଧ ପୁରାଣର ପୁରୁଷୋତ୍ତମ ମାହାତ୍ମ୍ୟରେ କୁହାଯାଇଛି। ଏପରିକି ଏହି ମହାବେଦୀ ମହୋତ୍ସବକୁ ନିର୍ମଳ ମନରେ ଯେଉଁ ଭକ୍ତ ଦର୍ଶନ କରେ ତାର ଶତକୋଟି ଜନ୍ମର ପାପରାଶି କ୍ଷଣକେ ନଷ୍ଟ ହୁଏ। ଶ୍ରୀଜଗନ୍ନାଥଙ୍କର ଉତ୍ସବମୁଖର ଏହି ଗୁଣ୍ଡିଚା ଯାତ୍ରା କେବଳ ଓଡ଼ିଶା କାହିକିଁ ବିଶ୍ୱର ଏକ ସହସ୍ର ଅଶ୍ୱମେଧ ଯଜ୍ଞର ଫଳ ମିଳିଥାଏ ବୋଲି ବିଶ୍ୱାସ କରାଯାଏ । ତେଣୁ ପୁରାଣମାନଙ୍କରେ କୁହାଯାଇଛି – ଶ୍ରୀମନ୍ଦିରରେ ଦଶବର୍ଷ ଦର୍ଶନ କଲେ ଯାହା ଫଳ ମିଳେ ଗୁଣ୍ଡିଚା ମନ୍ଦିରରେ ଏକ ଦିବସ ଦର୍ଶନରେ ସେତିକି ଫଳ ଲାଭ ହୁଏ।

ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରନୁମୋଦିତ। ରଥ ନିର୍ମାଣ ସମ୍ବନ୍ଧରେ ମାନସାର ସଂଗ୍ରହାଦି ଗ୍ରନ୍ଥମାନଙ୍କରେ ସବିଶେଷ ବିଧି ବିଧାନ ରହିଛି। ଶିଳ୍ପସାର ସଂଗ୍ରହ ପୋଥିରେ ୨ୟ ଖଣ୍ଡରେ ରଥର ମୂଳରୁ ଚୂଳ ପର୍ଯ୍ୟନ୍ତ ମୋଟ ୨୭ ଭାଗ କରାଯାଇଛି। ପ୍ରତ୍ୟେକ ଭାଗକୁ ଚଉଠା ଓ ଚଉଠା ଦେଢ଼ ଭାଗକୁ ଅଙ୍ଗୁଳ ବା କଳା କୁହାଯାଏ। ରଥର ତଳ ଚକଡାର ଦୈର୍ଘ୍ୟ ୨୭ ଚଉଠା। ଏହି ଚକଡାକୁ ୯ ଭାଗ କରି ୧୦ ଧାରଣା ପକାଯାଏ। ପ୍ରଥମ ୬ ଧାରଣାର ଲମ୍ବ ୨୭ ଚଉଠା, ୨ୟ ଧାରଣାର ଲମ୍ବ ୨୧ ଚଉଠା ଓ ୩ୟ ଧାରଣାର ଲମ୍ବ ୧୫ ଚଉଠା। ମୁହାଣର ଲମ୍ବ ୧୫ ଚଉଠା,କୁଡୁକାର ଲମ୍ବ ଧାରଣ ମହଲାକୁ ୩ ଚଉଠା, ଏପରି ଚାରି କୋଣରେ ୮ କୁଡୁକା ଦେବ। ବଡ଼ ଦୁଇ ଅଖ ଲମ୍ବ ୩୦ ଚଉଠା, ଛୋଟ ଦୁଇ ଅଖ ଲମ୍ବ ୨୪ ଚଉଠା। ଏହି ଏକ ଚଉଠାକୁ ୧୨ ଭାଗ କରାଯାଏ। ୧୭ ଚଉଠ ୮ ଅଙ୍ଗୁଳରେ ବଡ଼ ଅଖ ଦୁଇ ଗୋଟି ପୁଡା ଡାଇ ହାଣିବ। ଗୁଳିର ଉଚ୍ଚ ୫ ଚଉଠ ୮ ଅଙ୍ଗୁଳ ଗୁଳି ବହଳ ଛାଡି ଛାଡି ଅଖରେ କାନ କିଳା ବିନ୍ଧ କରିବ । ମୁହାଣକୁ ଗୁଳି ନିଶ୍ୱାସ ୮ ଅଙ୍ଗୁଳ ଛାଡି ଧାରଣାରେ ଅଖର କାବିଳା କଣ୍ଟା ବିନ୍ଧ କରିବ । ମୁହାଣ ମଝାଲକୁ ୮ ଚଉଠ ୪ ଅଙ୍ଗୁଳ ଛାଡି ବଡ଼ ଅଖ କାବିଳା ବିନ୍ଧ ଧାରଣାରେ କରିବେ । ୧୦ ବାହି ପ୍ରକାରେ ଗୋଜଫୁଲି କରି ଜଳନ୍ତରିଆ ଖୋଜ ବିନ୍ଧ କରିବ । ଧାରଣା ବାହି ଉପରେ ଜିଆ ୮ ଚଉଠରେ ନାଇକା ବିନ୍ଧ କରିବ। ନାଇକା ପାଖ ଜଳନ୍ତରିଆ ଖିଜ ୪ ଚଉଠ ୧୨ଅଙ୍ଗୁଳ ଉଚ୍ଚ ଖୁସି କରିବ । ଏଥି ଉପରେ ଛନ୍ଦା ପକାଇବ। ଚକଡା ଚାରିପାଖ ଧାରଣାକୁ ଛନ୍ଦାକୁ ଟୀକା କରିବ। ଧାରଣା ଉପରଠାରୁ ଜିଆ ମିଶି ନାଇକା ୧୪ ଚଉଠ ରଖି ଖୁସି କରିବ। ସିଂହାସନର ଉଚ୍ଚ ୧୨ ଅଙ୍ଗୁଳ କରିବ। ଜିଆ ବହଳ ୧୨ ଆଙ୍ଗୁଳ କରିବ। ଓସାର ୧ ଚଉଠା ନାଇକା ଉପରେ ୮ଚଉଠାଇ ଚଉତାଳ କରିବ।ପ୍ରଥମେ ଭୂଇଁ ଲଦିବ। ଭୂଇଁ ବହଳ ୫ ଅଙ୍ଗୁଳ ଫୁଲି ଠାରୁ ଭୂଇଁ ଅଁଳା, ୨ ଚଉଠ ୪ ଅଙ୍ଗୁଳ। ଭୂଇଁ ମଝାଲ ସୂତା ଠାରୁ ୨ ଅଙ୍ଗୁଳ ରଖି ଗୈ ହାଣିବ। ପାଖୁଡା ୩ ଚଉଠ ୪ ଅଙ୍ଗୁଳ, କୋଣ ପାଖୁଡା ୧ ଚଉଠ ୪ ଅଙ୍ଗୁଳ, ଫୁଲି ଠାରୁ ୧ ଚଉଠ ଲେଖା ଛାଡି ଦୁଇ ପାଖୁଡା ବସାଇବ। ଏହି ପରି ଚାରିପାଖେ ୧୬ ଗୋଟି ପାଖୁଡା ମାରିବ। ଫୁଲି ଠାରୁ ୧ ଚଉଠ ୨ ଅଙ୍ଗୁଳ ଲେଖାରେ ହଂସପାଦି ପକାଇ ୧ ଚଉଠ ଉଚ୍ଚରେ ଚଢେଇ ଖୋଜ ବସାଇବ। ଏଥି ଉପରେ ପାଖୁଡା ହଂସ ପାଦି ମାରିବ। ଚାରି ପାଖେ ହାରାମାଳି ମାରିବ। ଏଥି ଉପରେ ୬ ଚଉଠରେ ବିନ୍ଧ କରି ୮ ଅଙ୍ଗୁଳ ଛାଡି ଓରା ପକାଇବ। ଏହ ପରେ ୨ୟ ଭୂଇଁ, ୨ୟ ପାଖୁଡା ମାରିବ। ଏପରି ଚାରିଦିଗେ ୧୨ ପାଖୁଡା ମାରିବ। ତୃତୀୟ ପୁର ଭୂଇଁ ଚଉତାଳ ୬ ଚଉଠରେ ବସିବ। ପ୍ରଥମେ ପଟଳ ଲମ୍ବ ୮ ଚଉଠ,ରାହା କାଟଣ ଶେଷ ଠାରୁ ୧୪ ଅଙ୍ଗୁଳ ଉଚ୍ଚ, ୨ୟ ରାହା ମଧ୍ୟ ୧୨ ଅଙ୍ଗୁଳ ଉଚ୍ଚରେ କାଟଣ ହେବ। ଏହି ପରି ଚାରିପାଖ ପଟଳ କରିବ। ପ୍ରଥମ ସାତପୁର ପଟଳ ଉଚ୍ଚ ୨ ଚଉଠ, ସାତପୁରରେ କୋଣ ଓରା ପକାଇ ପଟଳ ଲଦିବ। ପଟଳ ଭୂଇଁ ଉପରଠାରୁ ବଡ଼ ଖୋଜ ମଧ୍ୟ ଚୌତାଳରେ ୨ ଚଉଠ ୧୨ ଅଙ୍ଗୁଳ ରଖି ବସାଇବ। ଏଥି ଉପରେ ପାରାଭାଡି ଭୂଇଁ ୩ ଚଉଠ ୮ଅଙ୍ଗୁଳରେ ଚଉତାଳ କରି ବସାଇବ। ପ୍ରଥମ ସାତପୁର ପଟଳ ଉପରେ ପଟଳ ଭୂଇଁ ଲଦା ହେବ। ୨ୟ ରାହା ୨ ଅଙ୍ଗୁଳ ଲେଖାରେ ପୁରକୁ ପୁର ସାତପୁର କାଟିବ। ୨ୟ ସାତପୁର ପଟଳ ୨ ଚଉଠ କରିବ। ଏଥି ଉପରେ ୧ ଚଉଠ ଉପରେ ମାଙ୍କଡ଼/ଛନ୍ଦା ଦୁଇଗୋଟି ଚଉତାଳ କରି ପକାଇବ। ଦଧିନଉତି ୨ ଚଉଠ ଉଚ୍ଚରେ ମାଙ୍କଡ଼ଛନ୍ଦା ଉପରେ କଳସ ଚକ୍ର ପତାକା ହେବ । କଳଶା ଶିଖା ଠାରୁ ପାରାଭାଡି ଭୂଇଁ ତଳ ପର୍ଯ୍ୟନ୍ତ ଦଖିନଉତି ଖୋଜ ହେବ। ରଥପାଦ ଦେଶରୁ ଶୀର୍ଷଦେଶ ପର୍ଯ୍ୟନ୍ତ ଥିବା ଅଂଶ ଗୁଡିକ ମଧ୍ୟରେ ଚକ, ଦଣ୍ଡିଆ,ଅର,ବାଙ୍କି ହଂସପଟା,କଣି,ଶଙ୍ଖଦ୍ୱାର,ଜାଲି,ଗାଈପଟା,ସିଂହାସନ,କନକ ମୁଣ୍ଡେଇ, ଭୂମି,ଷୋଳ ନାହକ,ମଗରଦଣ୍ଡା, ବସନ୍ତ,ଦୁଆରଘୋଡା, ସାରଥୀ ପୀଡ଼,କୁମ୍ଭପଟି,ରାହୁପଟି,ଆଠ ନାହାକା, ପୀଢ଼,ଋଷିପଟା,ଦଣ୍ଡା, ପାରାଭାଡି,ଖପୁରୀ,ପାଦ, ଓଲଟ ଶୁଆ,ଦଧିନଉତି,କଣ୍ଠି,ଦଣ୍ଡ,ଚକ୍ର ଓ କେତନ । ଶିଳ୍ପ ଶାସ୍ତ୍ରାନୁଯାୟୀ ରଥର ଅଙ୍ଗ ଗୁଡିକୁ ସାଧାରଣତଃ ୧୩ଟି ମୂଖ୍ୟ ଅଙ୍ଗରେ ବିଭକ୍ତ କରାୟାଇଛି। ଯଥା- (୧) ଚକ୍ରପୀଠ, (୨) ଅରଦଣ୍ଡା,(୩)ଗଗରା,(୪) ମୂଳନାଭ,(୫) ବରାଣ୍ଡି,(୬) ହଂସପଟା, (୭) ରଥଗର୍ଭ,(୮) ପାରାଭାଡି,(୯) କଳସ ପୀଠ, (୧୦) ଦଧିନଉତି, (୧୧) କର୍ଣ୍ଣଅଳା,(୧୨) ଧାତୁ କଳସ ଓ (୧୩) ଆୟୁଧ ଧ୍ୱଜା। ତିନି ରଥ ନିର୍ମାଣ କାର୍ଯ୍ୟର ଅନୁକୁଳ ପବିତ୍ର ଅକ୍ଷୟ ତୃତୀୟା ତିଥିରେ ଅନୁଷ୍ଠିତ ହେବା ସହିତ ତତ୍ ପରଦିନ ଠାରୁ ନିର୍ମାଣ ଆରମ୍ଭ ହୋଇ ନେତ୍ରୋତ୍ସବ ଦିନ ମଧ୍ୟାହ୍ନ ପର୍ଯ୍ୟନ୍ତ ଚାଲିଥାଏ। ଶ୍ରୀମନ୍ଦିରର ସ୍ୱତ୍ତ୍ୱଲିପିରେ ଅନ୍ତର୍ଭୁକ୍ତ ବିଶ୍ୱକର୍ମା ମହାରଣା, ଭୋଇ,ରୂପକାର,ଦରଜି,କମାର ପ୍ରମୁଖ ସେବକମାନେ ଏହି କାର୍ଯ୍ୟରେ ନିୟୋଜିତ ହୋଇଥାନ୍ତି।

ତନ୍ମଧ୍ୟରୁ ସମୁଦାୟ ୬୦ଜଣ ମହାରଣା, ୭୫ଜଣ ଭୋଇ, ୧୫ କମାର,୧୫ରୁ୨୦ ଚିତ୍ରକର,୭/୮ଜଣ ଦରଜି, ୧୫ଜଣ ରୂପକାର ସେବକ ଅନ୍ତର୍ଭୁକ୍ତ । ମହାପ୍ରଭୁମାନଙ୍କ ବ୍ୟବହୃତ ତିନି ଗୋଟି ରଥର ଗଠନ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ। ପରମ୍ପରା ଅନୁଯାୟୀ ଏକ ନିର୍ଦ୍ଧିଷ୍ଟ ଉଚ୍ଚତା ଓ ମାପ ଅନୁସାରେ ଏହି ରଥତ୍ରୟର ନିର୍ମାଣ କରାଯାଇଥାଏ। ଏହା ବ୍ୟତୀତ ପ୍ରତି ରଥରେ ୪ଟି ଲେଖାଏଁ ଅଶ୍ୱ, ଗୋଟିଏ ସାରଥୀ, ଦୁଇଟି ଶୁଆ, ରଥବାଡ଼, ୯ଟି ଲେଖାଏଁ ପାର୍ଶ୍ୱ ଦେବତା ଖଞ୍ଜା ଯାଇଥାଏ। ସୂଚନାଯୋଗ୍ଯ ଯେ, କେବଳ ନବକଳେବର ବର୍ଷ ନୂତନ ଭାବେ ସାରଥୀ,ଅଶ୍ୱ, ପାର୍ଶ୍ୱ ଦେବତା, ଠେକରା ବାଡ଼, ରଥବ୍ରେକ,ହଂସପଟା ଓ କନ୍ୟାପଟା ଇତ୍ୟାଦି ନିର୍ମାଣ କରାଯାଇଥାଏ। ଏଥି ନିମନ୍ତେ ଶାଳ, ଗମ୍ଭାରୀ ଇତ୍ୟାଦି କାଠ ସ୍ୱତନ୍ତ୍ର ଭାବେ ଜଙ୍ଗଲ ବିଭାଗ ଯୋଗାଇଥାନ୍ତି। ତିନିରଥ ନିର୍ମାଣ କାର୍ଯ୍ୟ ଶେଷ ହେବା ପୂର୍ବରୁ ପ୍ରାୟ ୧୪ ଜଣ ଦରଜୀ ସେବକଙ୍କଦ୍ୱାରା ନିର୍ଦ୍ଦିଷ୍ଟ ତିଥିରେ ଆରମ୍ଭ ହୋଇ ରଥ ମଣ୍ଡିଣି କନା ପ୍ରସ୍ତୁତ କରାଯାଇ ତିନି ରଥରେ ସୁସଜ୍ଜିତ କରାଯାଏ। ପୂର୍ବେ ଓ.ଟି.ଏମ୍ ମିଲରୁ ଆସୁଥିବା ଏହି କନା ମୂଖ୍ୟତଃ ନଲି,ହଳଦିଆ,ନେଳି ଓ କଳା ରଙ୍ଗର ଅଟେ। ପ୍ରାୟ ଏକ ହଜାର ମିଟରରୁ ଉର୍ଦ୍ଧ କନା ତିନି ରଥର ମଣ୍ଡଣି,ଘେର,ଚାନ୍ଦୁଆ ନିମନ୍ତେ ଆବଶ୍ୟକ ହୋଇଥାଏ। ସମ୍ପ୍ରତି କିଛି ବର୍ଷ ଧରି ରଥ ନିମିତ୍ତ ଆବଶ୍ୟକ କନା ବମ୍ବେର ପ୍ରସିଦ୍ଧ କପଡା କମ୍ପାନୀ ସେଞ୍ଚୁରୀ ମିଲରୁ ଆସୁଅଛି। ପରମ୍ପରା ଅନୁଯାୟୀ ନନ୍ଦିଘୋଷ ରଥ ପାଇଁ ନାଲି ଓ ହଳଦିଆ କନା, ତାଳଧ୍ୱଜ ରଥ ପାଇଁ ନାଲି ଓ ନେଳି କନା ଓ ଦର୍ପଦଳନ ରଥ ପାଇଁ ନାଲି ଓ କଳା କନା ବ୍ୟବହାର ହୋଇଥାଏ। ନନ୍ଦିଘୋଷ,ତାଳଧ୍ୱଜ ଓ ଦର୍ପଦଳନ (ଦେବଦଳନ) ରଥରେ ଯଥାକ୍ରମେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଶ୍ରୀସୁଭଦ୍ରା ଏବଂ ଶ୍ରୀସୁଦର୍ଶନ ତିନୋଟି ସୁସଜ୍ଜିତ ରଥରେ ଅଧିଷ୍ଠିତ ହୋଇଥାଆନ୍ତି। ୬ଫୁଟ୍ ଉଚ୍ଚତାର ୧୬ ଚକ ବିଶିଷ୍ଟ ନନ୍ଦିଘୋଷ ରଥର ଦୈର୍ଘ୍ୟ ପ୍ରସ୍ଥ ୩୪ ଫୁଟ ୬ ଇଞ୍ଚ ଲେଖାଏଁ ଓ ଉଚ୍ଚତା ୪୬ ଫୁଟ ଇଞ୍ଚ । ତାଳଧ୍ୱଜ ରଥର ଦୈର୍ଘ୍ୟ ପ୍ରସ୍ଥ ୩୩ ଫୁଟ ଲେଖାଏଁ ଓ ଉଚ୍ଚତା ୪୫ ଫୁଟ । ଏଥିରେ ୬ ଫୁଟ ୬ ଇଞ୍ଚ ଉଚ୍ଚତା ବିଶିଷ୍ଟ ୧୪ ଚକ ଲାଗିଥାଏ। ସେହି ପରି ଦର୍ପଦଳନ ବା ଦେବଦଳନ ରଥ ଚକର ଉଚ୍ଚତା ୬ ଫୁଟ ୮ ଇଞ୍ଚ ଏବଂ ୧୨ ଚକ ଏହି ରଥରେ ଲାଗିଥାଏ। ରଥର ଦୈର୍ଘ୍ୟ ପ୍ରସ୍ଥ ୩୧ ଫୁଟ ୬ ଇଞ୍ଚ ଲେଖାଏଁ । ଉଚ୍ଚତା ଯଥାକ୍ରମେ ୪୫ ଫୁଟ ୬ ଇଞ୍ଚ, ୪୫ ଫୁଟ ଓ ୪୪ ଫୁଟ୍ ୬ ଇଞ୍ଚ ଅଟେ ।

ରଥଯାତ୍ରା ପର୍ବ ଶେଷ ହେବା ପରେ ପ୍ରତିବର୍ଷ ରଥ ଗୁଡିକୁ ଭାଙ୍ଗି ଦିଆଯାଏ। କେବଳ ସାରଥୀ,ଘୋଡା, ପାର୍ଶ୍ୱଦେବତା, ସଖୀ, ପିତଳର କଦଳୀ ଗଛ, ମଗର ଓ ରଥବାଡ଼ ଇତ୍ୟାଦି ସାଇତି ରଖାଯାଏ। ଉଲ୍ଲେଖଯୋଗ୍ୟ ଯେ, ୧୯୯୯ ମସିହା ଠାରୁ ରଥଟଣା ସମୟରେ ତିନୋଟି ରଥର ବ୍ରେକକୁ ପକାଇବା ଓ ଉଠାଇବା ପାଇଁ ମନ୍ଦିର ପ୍ରଶାସନ ତରଫରୁ ପୁଲି ବ୍ୟବସ୍ଥା ପ୍ରଚଳନ କରାଯାଇଛି।ପ୍ରତିବର୍ଷ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ତିନୋଟି ରଥ ପରମ୍ପରା ପ୍ରକାରେ ନିର୍ମିତ ହୋଇ ଆସୁଅଛି। ରଥକାଠ ପହଞ୍ଚିବା ଠାରୁ ଆରମ୍ଭ କରି ରଥଟଣା ପର୍ଯ୍ୟନ୍ତ ସବୁ କାର୍ଯ୍ୟ ଏକ ନିର୍ଦ୍ଦିଷ୍ଟ ତିଥିରେ ହୋଇଥାଏ।

Related Posts